1 ଏଥିରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,
2 କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କ'ଣ ଦୁଃଖିତ ହେବ ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷାନ୍ତ କରିପାରେ ?
3 ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ ।
4 ତୁମ୍ଭର ବାକ୍ୟ ପତନୋଦ୍ୟତ ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ ।
5 ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ ।
6 ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସ ଭୂମି ନୁହେଁ କି ? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି ?
7 ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି ? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି ?
8 ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି ।
9 ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି ।
10 ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ ।
11 ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯା'ନ୍ତି ।
12 କଥା ଗୋଟିଏ ଗୁପ୍ତରେ ମୋ' କତିରେ ପହଞ୍ଚିଲା ଓ ମୋ' କର୍ଣ୍ଣ ତହିଁର ଈଷତ୍ ଶବ୍ଦ ପାଇଲା ।
13 ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,
14 ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ୱାରା ମୋହର ଅସ୍ଥିସବୁ ଥରହର ହେଲା ।
15 ତହିଁରେ ମୋ' ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋ' ଶରୀର ରୋମାଞ୍ଚିତ ହୋଇ ଉଠିଲା ।
16 ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋ' ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,
17 ମର୍ତ୍ତ୍ୟ-ମନୁଷ୍ୟ କ'ଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କ'ଣ ଅଧିକ ଶୁଚି ହେବ ?
18 ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତିନ୍ତ।
19 ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି ।
20 ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ ।
21 ସେମାନଙ୍କ ତମ୍ବୁ-ରଜ୍ଜୁ କ'ଣ ସେମାନଙ୍କ ଅନ୍ତରରେ ଛିଣ୍ଡା ନ ଯାଏ ? ସେମାନେ ଜ୍ଞାନରହିତ ହୋଇ ମରନ୍ତି ।