1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।

2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ; ପୁଣି ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ।

3 ଆଉ କାହିଁକି ତୁମ୍ଭ ଭାଇର ଆଖିର ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ।

4 ଅଥବା ତୁମ୍ଭେ କିପରି ଆପଣା ଭାଇକି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏଁ ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଆଛି!

5 ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟରୂପେ ଦେଖି ପାରିବ।

6 ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ଭା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି।

7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇଦିଆଯିବ।

8 କାରଣ ଯେକେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଫିଟାଇଦିଆଯିବ।

9 କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୋଟୀ ମାଗିଲେ ତାହାକୁ ପଥର ଦେବ,

10 କିଅବା ମାଛ ମାଗିଲେ ତାହାକୁ ସାପ ଦେବ।

11 ଏଣୁ ତୁମ୍ଭେମାନେ ତୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!

12 ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।

13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ଘେନିଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।

14 ଆଉ ଜୀବନକୁ ଘେନିଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।

15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!

16 ସେମାନେ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନ କୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି।

17 ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ।

18 ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ।

19 ଯେ କୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ।

20 ଅତଏବ ସେମାନଙ୍କ ଫଳ ଦ୍ୱରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ।

21 ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ରା ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଛା ସାଧନ କରେ, ସେ ପ୍ରବେଶ କରିବେ।

22 ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ ପୁଣି ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁଁ ନାହିଁ ଆଉ ତୁମ୍ଭ ନାମରେ କି ଅନେକ ଶକ୍ତିର କାର୍ଯ୍ୟ କଲୁଁ ନାହିଁ।

23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ. ମୋ ପାଖରୁ ଦୂର ହୁଅ।

24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପାଷାଣ ଉପରେ ଗୃହ ନିର୍ମାଣକାରୀ ଜଣେ ବୁଧିମାନ୍ ଲୋକ ସଦୃଶ ହେବ।

25 ବୃଷ୍ଟି ହେଲା, ବଢ଼ି ଆସିଲା ପୁଣି ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।

26 ଆଉ ଯେ କେହି ମୋର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲୁକା ଉପରେ ଗୃହ ନିର୍ମାଣକାରୀ ଜଣେ ମୁର୍ଖ ଲୋକ ସଦୃଶ ହେବ।

27 ବୃଷ୍ଟି ହେଲା, ବଢ଼ି ଆସିଲା ପୁଣି ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି ତାହାର ପତନ ଭୟଙ୍କର ହେଲା।

28 ଯୀଶୁ ଏହି ସବୁ କଥା ଶେଷ କରନ୍ତେ ଲୋକ ସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,

29 କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାର ପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।